ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର କର୍ଲାପାଟ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ ନେଇ ହାତୀ ମୃତ୍ୟୁ ରୋକିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ଷେତ୍ରରେ ରାଜ୍ୟ ତଥା ଦେଶର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଥିବା ଗ୍ରାମ ଗୁଡିକରେ ଥିବା ଗୃହପାଳିତ ପଶୁମାନଙ୍କର ଟିକାକରଣ ସୁନିଶ୍ଚିତ କରିବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟ ଗୁଡିକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୂନା ତୁରନ୍ତ ପରୀକ୍ଷା କରିବା ସହିତ ନିୟମିତ ପରୀକ୍ଷା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରୁ ଜଣାଯାଇଥିଲା ଯେ କଳାହାଣ୍ଡିର କର୍ଲାପାଟ ଅଭୟାରଣ୍ୟରେ ଗତ ଦୁଇ ସପ୍ତାହ ମଧ୍ୟରେ ୬ଟି ହାତୀଙ୍କର ମୃତ୍ୟୁ ହୋଇଛି। ବିଶେଷଜ୍ଞ ମାନଙ୍କ ମତ ଅନୁଯାୟୀ ଏହି ହାତୀଗୁଡିକ ହେମ୍‌ରେଜ୍‌ ସେପ୍ଟିସେମିୟା ରୋଗରୁ ମୃତ୍ୟୁବରଣ କରିଛନ୍ତି । ଏହି ଦଳରେ ସମୁଦାୟ ୮ଟି ହାତୀରୁ ୬ଟିର ମୃତ୍ୟୁ ଘଟିଛି ।

ଏହି ଅଞ୍ଚଳରେ ଆଉ ଦୁଇଟି ହାତୀ ଦଳ ରହିଛନ୍ତି । ସେହି ଦଳଗୁଡିକୁ ଟ୍ରାକ୍‌ କରାଯାଇ ସେମାନେ ଯେପରି ସଂକ୍ରମିତ ଦଳର ସଂସ୍ପର୍ଶରେ ନ ଆସିବେ, ସେଥିପାଇଁ ପଦକ୍ଷେପ ନିଆଯାଇଛି | ଏହାସହିତ ଏହି ଅଞ୍ଚଳରେ ଥିବା ୪୩ଟି ଜଳାଶୟରୁ ୨୫ଟି ଜଳାଶୟର ବିଶୋଧନ କରାଯାଇଛି ଏବଂ ବାକି ଗୁଡିକର ବିଶୋଧନ କରାଯାଉଛି । ହାତୀମାନଙ୍କର ଚଳପ୍ରଚଳ ଉପରେ ନଜର ରଖିବା ପାଇଁ ରେଞ୍ଜ୍‌ ଅଫିସର, ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଦୁଇଟି ଜୋନ୍‌କୁ ନେଇ ୧୦ଟି ଟିମ୍‌ ଗଠନ କରାଯାଇଛି । ଜଙ୍ଗଲ ବିଭାଗ ଓ ପଶୁସଂପଦ ବିଭାଗରୁ ଦୁଇଟି ରାଜ୍ୟସ୍ତରୀୟ ବିଶେଷଜ୍ଞ ଟିମ୍‌ ଗଠନ କରାଯାଇ ପରିସ୍ଥିତିକୁ ଆକଳନ କରାଯିବା ସହିତ ଅନ୍ୟାନ୍ୟ ପଦକ୍ଷେପ ନିଆଯାଉଛି ।

ପ୍ରୋଜେକ୍ଟ ଏଲିଫ୍ୟାଣ୍ଟର ଆଇ.ଜି ଏବଂ ୱାଇଲ୍ଡ ଲାଇଫ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ନିର୍ଦ୍ଦେଶକଙ୍କୁ ଓଡିଶାକୁ ଏକ ଟିମ୍‌ ପଠାଇ ପ୍ରତିରୋଧକ ବ୍ୟବସ୍ଥା ଓ ପରାମର୍ଶ ପାଇଁ ଅନୁରୋଧ କରାଯାଇଛି । ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ଜଙ୍ଗଲ ବିଭାଗର ବରିଷ୍ଠ ଅଫିସର ମାନେ ଉପସ୍ଥିତ ଥିଲେ । କଳାହାଣ୍ଡିରୁ PCCF ଏବଂ ଜିଲ୍ଲାପାଳ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇଥିଲେ ।

Share

Leave a Reply

Your email address will not be published. Required fields are marked *

18 + nineteen =