ସ୍କୁଲ, କଲେଜ ପାଠ୍ୟକ୍ରମରେ ବନ୍ଦେ ଉତ୍କଳ ଜନନୀ

ଭୁବନେଶ୍ବର () କୋଭିଡ୍ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ ୨୦୨୦ ମଇ ୩୦ ତାରିଖ ଶନିବାର ସନ୍ଧ୍ୟା ୫ ଘଟିକା ୩୦ ମିନିଟ୍ ସମୟରେ ସମଗ୍ର ଓଡିଆ ଜାତି ସମ୍ପୂର୍ଣ୍ଣ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରି ଓଡିଆ ସ୍ବାଭିମାନକୁ ନଭଶ୍ଚୁମ୍ବୀ କରିପାରିଛନ୍ତି  । ଏହାଥିଲା ଓଡିଆ ଜାତି ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ । ଏହି ଐତିହାସିକ ମୁହୂର୍ତ୍ତକୁ ଚିରସ୍ଥାୟୀ କରିବା ପାଇଁ ତଥା ସାଢେ ଚାରି କୋଟି ଓଡିଆଙ୍କ ଭାବାବେଗକୁ ସମ୍ମାନ ଜଣାଇ ରାଜ୍ୟ କ୍ୟାବିନେଟ୍ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଅନବଦ୍ୟ ସୃଷ୍ଟି ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତ ଭାବରେ ସରକାରୀ ମାନ୍ୟତା ଦେବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି  ।

ଏହି ସଙ୍ଗୀତ ଗାନ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିଛନ୍ତି  । ତଦନୁଯାୟୀ କାନ୍ତକବିଙ୍କ ରଚିତ ସମ୍ପୂର୍ଣ୍ଣ ଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ଭାବରେ ଗ୍ରହଣ କରାଗଲା  ଏହି ସଙ୍ଗୀତ ଗାୟନର ଅନୁମୋଦିତ ସ୍ବର, ଶୈଳୀ ତଥା ରେକର୍ଡିଂ ଓଡିଶା ସରକାରଙ୍କର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ବାରା ପ୍ରସ୍ତୁତ କରାଯିବା ପାଇଁ ସ୍ଥିର କରାଯାଇଛି ।

ଏହାର ଗାୟନ ଅବଧିସ୍ବର ତଥା ଶୈଳୀ ରେକର୍ଡିଂ ପ୍ରକାର ମଧ୍ୟ ନିର୍ଦ୍ଧାରିତ ହୋଇଛି  । ରାଜ୍ୟ ସରକାରଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ବତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଙ୍ଗୀତର ବିନାବାଦ୍ୟରେ ପ୍ରସ୍ତୁତ ଅନୁମୋଦିତ ସଂସ୍କରଣ ପରିବେଷଣ /ଗାନ କରାଯିବ  । ସେହିଭଳି ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭାସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠସଙ୍ଗୀତ କିମ୍ବା ବାଦ୍ୟଯନ୍ତ୍ର ସଙ୍ଗତ ସହିତ ଏହାକୁ ପରିବେଷଣ/ଗାନ କରାଯିବ  । ଉଦଘାଟନୀ, ଉଦ୍ଯାପନୀ ଓ ଉଦ୍ବୋଧନୀ ସଙ୍ଗୀତ ଭାବରେ ଏହା ଗାନ କରାଯିବା ସମୟରେ ଏହି ରାଜ୍ୟ ସଙ୍ଗୀତ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଉପସ୍ଥିତ ସମସ୍ତେ ସଙ୍ଗୀତ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଦଣ୍ଡାୟମାନ ରହିବେ  । ମାତ୍ର ବୟସ୍ମ, ଅସୁସ୍ଥ, ଭିନ୍ନକ୍ଷମ, ଗର୍ଭବତୀ ମହିଳା ଯେଉଁମାନେ ନିଜର ଉପରୋକ୍ତ ଅକ୍ଷମତା କାରଣରୁ ଦଣ୍ଡାୟମାନ ହେବାରେ ଅସୁବିଧା ଅନୁଭବ କରୁଥିବେ ସେମାନେ ଏହି ସଙ୍ଗୀତ ପରିବେଷଣ/ଗାନ ସମୟରେ ନିଜ ସ୍ଥାନରେ ନମ୍ର ଭାବରେ ବସିରହି ଏଥିପ୍ରତି ସମ୍ମାନ ପ୍ରଦର୍ଶନ କରିପାରିବେ । ଶିଶୁମାନଙ୍କୁ ମଧ୍ୟ ଏହି ସଙ୍ଗୀତ ପରିବେଷଣ / ଗାନ ସମୟରେ ଦଣ୍ଡାୟମାନ ରହିବାରୁ ଅବ୍ୟାହତି ଦିଆଯାଇଛି ।

ଏହି ସଙ୍ଗୀତ ପୋଲିସ୍ ବ୍ୟାଣ୍ଡ, ବଂଶୀ, ସିତାର ଭଳି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ  । ଏହି ସଙ୍ଗୀତର ପ୍ରଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବନାହିଁ । ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେଏହି ସଙ୍ଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି  ।

Share

Leave a Reply

Your email address will not be published. Required fields are marked *

twenty − 20 =