କାର୍ତ୍ତିକ ଶୁକ୍ଳ ଦ୍ବାଦଶୀରେ ଶ୍ରୀଜୀଉଙ୍କ ବାଙ୍କଚୂଡ଼ା ବେଶ

ପୁରୀ: କାର୍ତ୍ତିକ ଶୁକ୍ଳ ଦ୍ବାଦଶୀ ତଥା ପଞ୍ଚୁକର ଦ୍ବିତୀୟ ଦିନରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ। ଏହି ଦିନ ଆବକାଶ ନୀତି ଶେଷହେବା ପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥିଲେ।

ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସା(ବେଣୀ)ର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ବଳଭଦ୍ର ହଳମୂଷଳ ଧାରଣ କରନ୍ତି ।ଏହିବେଶରେ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ ।ମାତ୍ର ତାଙ୍କର ମସ୍ତକ ସୂବର୍ଣ୍ଣ କିଆରେ ଶୋଭିତ ହୁଏ ।

ପୌରାଣିକ ମତରେ ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ, ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ ପୁରୀ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି ।

Share

Leave a Reply

Your email address will not be published. Required fields are marked *

three × five =