ଆଜି ପବିତ୍ର ଦଶହରା

ଭୁବନେଶ୍ୱର: ଆଜି ଦୁର୍ଗତି ନାସିନୀ ମା ଦୁର୍ଗାଙ୍କ ପୂଜା । ପବିତ୍ର ବିଜୟା ଦଶମୀ ବା ଦୁର୍ଗାପୂଜା ଲାଗି ଦିଲ୍ଲୀରୁ ପଲ୍ଲୀ ସବୁଠି ହୋଇ ଉଠିଛି ଉତ୍ସବ ମୁଖର । ଯଦିଓ କରୋନା କଟକଣା ଯୋଗୁଁ ଚଳିତବର୍ଷ ଆଡ଼ମ୍ବରରେ ପାଳନ କରାଯାଇନାହିଁ ତଥାପି ସବୁଠି ମାଙ୍କ ପୂଜାଚ୍ଚନା କରାଯାଇଛି । ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେତେବେଳେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନ ହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେ ଠାରୁ ଏହା ଆଶ୍ଵିନ ଶାରଦୀୟ ନବରାତ୍ର ଭାବେ ବିଦିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା’ ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।

Share

Leave a Reply

Your email address will not be published. Required fields are marked *

thirteen − 7 =