ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଆରମ୍ଭ

ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ । ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି । ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ମହିଳା ସଶକ୍ତିକରଣର କର୍ଣ୍ଣଧାର ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବରଗଡ ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ୪୨ କୋଟି ଟଙ୍କାର ଋଣ ସହାୟତା ତଥା ସୁଧ ରିହାତି ମଧ୍ୟ ପ୍ରଦାନ କରିଛନ୍ତି ।

ଏହି ଅବସରରେ ଆୟୋଜିତ ସମାବେଶ ମାନଙ୍କରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ବିଜୁ ଏକ୍ସପ୍ରେସ ଓ୍ଵେ କେବଳ ଏକ ରାସ୍ତା ନୁହେଁ ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା । ଏହି ଏକ୍ସପ୍ରେସ ଓ୍ଵେ କେବଳ ଏ ଅଞ୍ଚଳ ନୂହେଁ ସାରା ଓଡ଼ିଶା ପାଇଁ ବିକାଶର ନୂଆ ଇତିହାସ ଲେଖିବ । ବିଜୁ ଏକ୍ସପ୍ରେସ ଓ୍ଵେ ଏ ଅଞ୍ଚଳ ପାଇଁ ଅନେକ ସୁଯୋଗ ଆଣିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀ ପାଇଁ ବଜାର ସୁବିଧା ମିଳିବ । ଛାତ୍ରଛାତ୍ରୀମାନଙ୍କ ପାଠପଢା ପାଇଁ ସୁବିଧା, ବ୍ୟବସାୟୀ ମାନଙ୍କୁ ସୁବିଧା, ସ୍ୱାସ୍ଥ୍ୟ ସେବାରେ ଆହୁରି ଉନ୍ନତି ଆସିବ,ସାଧାରଣ ଲୋକ ମଧ୍ୟ ସୁବିଧାରେ ଯାତାୟତ ରୂପାନ୍ତର କାମକୁ ମଜଭୁତ କରିବ । ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସର ଦୁଇପାଖେ ବିଜୁ ଅର୍ଥନୈତିକ କରିଡର ହେବାଦ୍ଵାରା ପୁଞ୍ଜି ବିନିଯୋଗ ବଢିବ ଏବଂ ନୂଆ ନୂଆ ଶିଳ୍ପ ଗଢି ଉଠିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ସେ କଥା ନୂହେଁ କାମ ରେ ବିଶ୍ବାସ କରନ୍ତି ବୋଲି ତାଙ୍କ ଉକ୍ତି କୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ଅର୍ଥନୈତିକ କରିଡରକୁ ପୁଞ୍ଜିପତିମାନଙ୍କୁ ଆକର୍ଷଣ କରିବା ପାଇଁ ପ୍ରୋତ୍ସାହନ ଭାବରେ ଅତିରିକ୍ତ ୩୦ ପ୍ରତିଶତ ରିହାତି ନିବିଶେକମାନଙ୍କୁ ମିଳିବ । ଶିଳ୍ପ ବିକାଶ କାର୍ଯ୍ୟ ତ୍ଵରାନିତ କରିବା ପାଇଁ ଆଗୁଆ ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି । ବିଜୁ ଅର୍ଥନୈତିକ କରିଡର ଦ୍ଵାରା ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ନୁଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାବାସୀ ବିଶେଷ ଭାବରେ ଉପକୃତ ହେବେ । ପଶ୍ଚିମ ଓ ଦକ୍ଷିଣ ଓଡିଶା ମଧ୍ୟରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ଘଟିବ । ପର୍ଯ୍ୟଟନର ମଧ୍ୟ ବିକାଶ ଘଟିବ ।

ଘଟିପଡାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଏକ୍ସପ୍ରେସ ଓ୍ଵେ’ର ଚାରିଥାକିଆ ରାସ୍ତା କାମ ରେକର୍ଡ ଏକ ବର୍ଷ ମଧ୍ୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଅଗ୍ରଣୀ ଭୁମିକା ନେଇଥିବା ମହାନ ଜନନାୟକ ବିଜୁ ବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ଏକ ସଶକ୍ତ ଓଡିଶା ଗଠନ ପାଇଁ ସେ କାମ କରି ଚାଲିଛନ୍ତି । ସମ୍ବଲପୁର- ରାଉଲକେଲା ରାସ୍ତା ବିଜୁବାବୁଙ୍କ ପରିକଳ୍ପନା ଥିଲା । ଏଲ୍ ଆଣ୍ଡ ଟି ରାସ୍ତାଭାବେ ପରିଚିତ ଏହି ରାସ୍ତାର ଆରମ୍ଭ ସ୍ଵର୍ଗତ ବିଜୁବାବୁ ୧୯୯୩ ମସିହାରେ ଆରମ୍ଭ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Share

Leave a Reply

Your email address will not be published. Required fields are marked *

11 − 1 =